ବାଲେଶ୍ୱର, ୨/୩(ଲକ୍ଷ୍ମୀଧର ବାରିକ): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ଆହୁରି ସୁଦୃଢ କରିବା ପାଇଁ ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜ ଗୁଡ଼ିକରେ ଟିଚିଂ ହସ୍ପିଟାଲର ଶୁଭ ଉଦ୍ଘାଟନ କରିବା ସହିତ ୪ଟି ମେଡିକାଲ କଲେଜର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ବିଶ୍ୱସ୍ତରୀୟ କରିବା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଲୋକାର୍ପିତ କରିଥିବା ଟିଚିଂ ହସ୍ପିଟାଲ ଗୁଡ଼ିକ ମଧ୍ୟରେ ରହିଛି ବାଲେଶ୍ୱରରେ ୬୫୦ ଶଯ୍ୟା ବିଶିଷ୍ଟ ଫକୀରମୋହନ ମେଡିକାଲ୍ କଲେଜ୍ ଏବଂ ହସ୍ପିଟାଲ। ଏହି ଅବସରରେ ବାଲେଶ୍ୱର ଜିଲ୍ଲାପାଳ ଆଶିଷ ଠାକରେଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସ୍ୱତନ୍ତ୍ର ସଭାରେ ବାଲେଶ୍ୱର ସଦର ବିଧାୟକ ସ୍ୱରୂପ କୁମାର ଦାସ, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା, ଜିଲ୍ଲା ପରିଷଦ ସଭାପତି ନାରାୟଣ ପ୍ରଧାନ, ବାଲେଶ୍ୱର ପୌରାଧ୍ୟକ୍ଷା ସବିତା ସାହୁ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବିଶ୍ୱ ରଞ୍ଜନ ନାୟକ ଓ ଫକୀର ମୋହନଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ, ବାଲେଶ୍ୱରର ପ୍ରଶାସନିକ ଅଧିକାରୀ ମନୋରମା ଭୂୟାଁ ପ୍ରମୁଖ ଉପସ୍ଥିତ ଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ଦିନଟି ଓଡ଼ିଶାର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ମାଇଲଷ୍ଟୋନ ହୋଇ ରହିବ। ଆଜି ଗୋଟିଏ ଦିନରେ ୫ଟି ମେଡିକାଲ କଲେଜ ହସ୍ପିଟାଲରେ ୨,୯୫୦ ଶଯ୍ୟା ଯୋଡ଼ି ହେଲା। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨ ହଜାର କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯାଇଛି। ଆମ ସ୍ୱାସ୍ଥ୍ୟସେବା ବ୍ୟବସ୍ଥା ଉପରେ ଲୋକଙ୍କ ବିଶ୍ୱାସ ବଢ଼ିଛି। ଲୋକଙ୍କୁ ଉତ୍ତମ ଚିକିତ୍ସା ଓ ସେବା ଯୋଗାଇଦେବା ଆମର ଲକ୍ଷ୍ୟ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ ପୁଣି ମଧ୍ୟ କହିଥିଲେ ଯେ ଦିନ ଥିଲା ଓଡ଼ିଶାରେ ମାତ୍ର ୩ଟି ସରକାରୀ ମେଡିକାଲ କଲେଜ ଥିଲା। ଗତ ୬ ବର୍ଷ ମଧ୍ୟରେ ୮ଟି ନୂଆ ମେଡିକାଲ କଲେଜ ଓ ୨ଟି ସ୍ନାତକୋତ୍ତର ପ୍ରତିଷ୍ଠାନ ଗଢ଼ି ଉଠିଛି। ଆଗାମୀ ଦିନରେ ଆଉ ୩ଟି ମେଡିକାଲ କଲେଜ ମଧ୍ୟ ହେବାକୁ ଯାଉଛି। ପ୍ରତିବର୍ଷ ଡାକ୍ତର ଓ ପାରାମେଡିକ୍ ଷ୍ଟାଫଙ୍କୁ ନିଯୁକ୍ତି ଦିଆଯାଉଛି। ଆଗରୁ ବର୍ଷକୁ ମାତ୍ର ୩୨୧ ଜଣ ଏମବିବିଏସ ଡାକ୍ତର ଓ ୨୫୪ ଜଣ ସ୍ପେଶିଆଲିଷ୍ଟ ବାହାରୁ ଥିଲେ। ଏବେ ୨୫୨୫ ଏମବିବିଏସ୍ ଡାକ୍ତର ଓ ୯୭୨ ସ୍ପେଶିଆଲିଷ୍ଟ ବାହାରୁଛନ୍ତି। ୫-ଟି ଉପକ୍ରମରେ ଆଜି ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତର ଆସିଛି। ଲୋକଙ୍କ ସୁବିଧା ପାଇଁ ହସ୍ପିଟାଲଗୁଡିକୁ‘ଆମ ହସ୍ପିଟାଲ' ରେ ବିକଶିତ କରାଯାଉଛି।
ରାଜ୍ୟରେ ପ୍ରଚଳିତ ସ୍ୱାସ୍ଥ୍ୟସେବା ଯୋଜନା ଉପରେ ଆଲୋକପାତ କରି ସେ କହିଥିଲେ ଯେ ମୋ ପାଇଁ ପ୍ରତି ଜୀବନ ମୂଲ୍ୟବାନ। ଏଥିପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାଠାରୁ ଆରମ୍ଭ କରି ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆମେ ବିଭିନ୍ନ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିଛୁ। ସରକାରୀ ଡାକ୍ତରଖାନାଗୁଡ଼ିକରେ ନୂଆ ନୂଆ ଚିକିତ୍ସା ସୁବିଧାର ମଧ୍ୟ ବିକାଶ କରାଯାଉଛି। ଧନୀ ଗରିବ ସମସ୍ତଙ୍କୁ ସରକାରୀ ଡାକ୍ତରଖାନାଗୁଡ଼ିକରେ ମାଗଣା ଚିକିତ୍ସା ସୁବିଧା ମିଳୁଛି। ସ୍ୱାସ୍ଥ୍ୟସେବା କ୍ଷେତ୍ରର ଏ ରୂପାନ୍ତରଣକୁ ଆମେ ସମସ୍ତେ ମିଶି ଆହୁରି ଆଗକୁ ନେବା ଓ‘ସୁସ୍ଥ ଓଡ଼ିଶା ସୁଖୀ ଓଡ଼ିଶା ଜରିଆରେ ନୂଆ ଓଡ଼ିଶାର ଭିତ୍ତିଭୂମିକୁ ମଜବୁତ କରିବା ବୋଲି ସେ କହିଥିଲେ।
କାର୍ଯ୍ୟକ୍ରମରେ ବୁର୍ଲାଠାରେ ଉପସ୍ଥିତ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୁଜାରୀ କହିଥିଲେ ଯେ ଲୋକଙ୍କୁ ସର୍ବୋତ୍ତମ ଚିକିତ୍ସା ସୁବିଧା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଆଜି ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ କରୁଛନ୍ତି। ୫-ଟି ଉପକ୍ରମରେ ରାଜ୍ୟର ସ୍ୱାସ୍ଥ୍ୟସେବା ବ୍ୟବସ୍ଥାକୁ ପରବର୍ତ୍ତୀ ପର୍ଯ୍ୟାୟକୁ ନେଇ ଲୋକଙ୍କୁ ଉନ୍ନତମାନର ଓ ଉପଯୁକ୍ତ ଚିକିତ୍ସା ସୁବିଧା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା କାର୍ଯ୍ୟକ୍ରମ ଜାରି ରହିଛି ବୋଲି ସେ କହିଥିଲେ। କାର୍ଯ୍ୟକ୍ରମକୁ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ସଂଚାଳନା କରିଥିଲେ ଏବଂ ଏସବୁ ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶରେ ସହଯୋଗ କରିଥିବା ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ। ଏହି ଅବସରରେ ସେ କହିଥିଲେ ଯେ ଗ୍ରାମାଞ୍ଚଳର ସବୁ ପରିବାରକୁ ଅନ୍ତର୍ଭୁକ୍ତ କରିବା ପାଇଁ ଉଦ୍ଦିଷ୍ଟ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନବୀନ କାର୍ଡ ଚଳିତ ମାସ ୬ ତାରିଖରେ ମୁଖ୍ୟମନ୍ତ୍ରୀ ସମ୍ବଲପୁର ଠାରୁ ଶୁଭାରମ୍ଭ କରିବେ। କାର୍ଯ୍ୟକ୍ରମରେ ବଲାଙ୍ଗିରରେ ରାଜ୍ୟ ଜଳ ସମ୍ପଦ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଯୋଗଦେଇ କହିଲେ ଯେ ରାଜ୍ୟବାସୀଙ୍କୁ ଉତ୍ତମମାନର ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ଓଡ଼ିଶାବାସୀ କେବେ ବି ଭୁଲିବେ ନାହିଁ। ରୂପାନ୍ତରଣ କ୍ଷେତ୍ରରେ ଓଡ଼ିଶାକୁ ଭାରତରେ ଏକ ସ୍ୱତନ୍ତ୍ର ପରିଚୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା କାର୍ଯ୍ୟକାରୀ ହୋଇଥିବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଆଜି ସାରା ବିଶ୍ୱରେ ବେଞ୍ଚମାର୍କ ସୃଷ୍ଟି କରିଛି। କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ଶାଳିନୀ ପଣ୍ଡିତ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଡିଏମଇଟି ନିର୍ଦେଶକ ଡା ସଚ୍ଚିଦାନନ୍ଦ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।
Post a Comment